ଓଡିଆ ମାନଙ୍କର ବିଭିନ୍ନ ପର୍ବପର୍ବାଣି ମଧ୍ୟରୁ ଏକ ପ୍ରମୁଖ ପର୍ବ ହେଉଛି ସାବିତ୍ରୀ ବ୍ରତ । ଓଡିଶାର ସଧବା ନାରୀମାନେ ନିଜ ପତିଙ୍କ ଉଦ୍ଦେଶ୍ୟରେ ଏହି ବ୍ରତ ପାଳନ କରିଥାନ୍ତି । ଆସନ୍ତୁ ଜାଣିବା ଏହି ବ୍ରତ ପାଳନ ପଛରେ କଣ ରହିଛି ପୌରଣିକ କିମ୍ବଦନ୍ତୀ,ବ୍ରତ କଥା ,ଓଷା ପାଳନ ବିଧି ଇତ୍ୟାଦି ।
![]() |
sabitri brata story and complete history in odia ପୌରଣିକ କିମ୍ବଦନ୍ତୀ - |
ଶାଲ୍ୱଦେଶର ରାଜା ଦ୍ୟୁମତସେନଙ୍କ ଔରସରେ ଶୈବ୍ୟାଙ୍କ ଗର୍ଭରୁ ସତ୍ୟବାନ ଜନ୍ମଗ୍ରହଣ କରିଥିଲେ । ଦୈବୀ ଦୁର୍ବିପାକରୁ ସତ୍ୟବାନଙ୍କ ଶୈଶବାସ୍ଥାରେ ଦ୍ୟୁମତସେନ ଅନ୍ଧ ଓ ଭ୍ରଷ୍ଟରାଜ୍ୟ ହୋଇ ବନବାସୀ ହୋଇ ଥିଲେ। ସତ୍ୟବାନ ବଣରେ ଫଳମୂଳ ଖାଇ ମୁନିବୃତ୍ତି ଅବଲମ୍ବନ କରି ଭକ୍ତି ସହକାରେ ପିତାମାତାଙ୍କର ସେବା କରୁଥିଲେ।
ସାବିତ୍ରୀ ଭ୍ରମଣ କରୁ କରୁ ସେହି ବଣରେ ପହଞ୍ଚି ସତ୍ୟବାନଙ୍କ ଅସୀମ ପିତୃଭକ୍ତି, ଧର୍ମପରାୟଣାତା ଓ ରୂପରେ ମୁଗ୍ଧା ହୋଇ ଐଶ୍ୱର୍ଯ୍ୟ ଭୋଗଲାଳସା ତ୍ୟାଗ କରି ଏହାଙ୍କ ସଙ୍ଗରେ ଜୀବନଯାପନ କରିବା ପାଇଁ ସଂକଳ୍ପ କରି ସତ୍ୟବାନଙ୍କୁ ପତିରୂପେ ମନୋନୀତ କରି ରାଜଧାନୀକୁ ଫେରି ପିତାଙ୍କୁ ଜଣାଇଲେ। ଏହି ସମୟରେ ନାରଦ ଉପସ୍ଥିତ ହୋଇ ସତ୍ୟବାନଙ୍କ ପରମାୟୁ ଆଉ ମାତ୍ର ଏକ ବର୍ଷ ଥିବା ଜଣାଇ, ନିଜ ମତ ବଦଳାଇବାକୁ ସାବିତ୍ରୀଙ୍କୁ ଅନୁରୋଧ କଲେ। ମାତ୍ର ସାବିତ୍ରୀ ଏ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରି ନିଜ ନିଷ୍ପତ୍ତିରେ ଅଟଳ ରହିଲେ। ଅଗତ୍ୟା ଉଭୟ ପକ୍ଷଙ୍କ ପିତାମାତାଙ୍କ ଅନୁମତି କ୍ରମେ ସାବିତ୍ରୀଙ୍କର ସତ୍ୟବାନଙ୍କ ସହିତ ଯଥାରୀତି ବିବାହ ସମ୍ପନ୍ନ ହେଲା । ବିବାହ ପରେ ସାବିତ୍ରୀ ପିତୃଗୃହର ରାଜ ସମ୍ପଦ, ବିଳାସ ଓ ଦାସଦାସୀ ବର୍ଗଙ୍କୁ ତ୍ୟାଗ କରି ସ୍ୱାମୀଙ୍କ ସହିତ ତପୋବନର କୁଟୀରରେ ରହି ଶାଶୁ ଓ ଶ୍ୱଶୁରଙ୍କ ସେବାରେ ଲାଗିଲେ ।
ବିବାହର ଏକ ବର୍ଷ ପୂରିବାକୁ ତିନି ଦିନ ପୂର୍ବରୁ ସାବିତ୍ରୀ ତ୍ରିରାତ୍ର-ବ୍ରତ ଅବଲମ୍ବନ କଲେ । ଅନନ୍ତର ଯେଉଁଦିନ ଏକ ବର୍ଷ ପୂର୍ଣ୍ଣ ହେବ ଓ ସତ୍ୟବାନଙ୍କର ପରମାୟୁ ଶେଷ ହେବ, ସେ ଦିନ ସତ୍ୟବାନ ଫଳମୂଳ ଓ ସମିଧ ସଂଗ୍ରହ କରିବାକୁ ବଣକୁ ଯିବାବେଳେ ସାବିତ୍ରୀ ତାଙ୍କ ସଙ୍ଗରେ ଗଲେ । ବଣରେ ସତ୍ୟବାନ ଅଶ୍ୱସ୍ତି ବୋଧ କରିବାରୁ ସାବିତ୍ରୀଙ୍କ କୋଳରେ ମୁଣ୍ଡ ରଖି ନିଦ୍ରା ଗଲେ ଓ ତାହାହିଁ ତାଙ୍କର ମହାନିଦ୍ରା (ମୃତ୍ୟୁ) ହେଲା । କିନ୍ତୁ ସାବିତ୍ରୀ ନିଜ ମୃତ ସ୍ୱାମୀଙ୍କ ମସ୍ତକକୁ ନିଜ କ୍ରୋଡ଼ରେ ରଖି ସେହିଠାରେ ବସି ରହିଲେ । ଯମଦୂତମାନେ ସତ୍ୟବାନଙ୍କ ଜୀବ ନେବା ପାଇଁ ଆସି ସାଧ୍ୱୀ ସାବିତ୍ରୀଙ୍କ ନିକଟରୁ ଛଡ଼ାଇ ନେଇ ନ ପାରି ଫେରିଗଲେ। ବିଫଳ ଯମଦୂତଙ୍କ ଠାରୁ ଖବର ପାଇ ନିଜେ ଯମ ଆସି ସେଠାରେ ପହଞ୍ଚି ସତ୍ୟବାନଙ୍କ ଜୀବ ଧରି ବାହାରିଲେ। ସାବିତ୍ରୀ ମଧ୍ୟ ଯମଙ୍କୁ ଅନୁଗମନ କଲେ। ଯମରାଜା ଏହାଙ୍କ ପତିଭକ୍ତି ଓ ସ୍ତୁତିପାଠରେ ତୁଷ୍ଟ ହୋଇ ସତ୍ୟବାନଙ୍କ ବଦଳରେ ତିନୋଟି ବର ଦେବାକୁ ସତ୍ୟକଲେ ସର୍ତ୍ତ ରଖିଲେ ଯେ ସତ୍ୟବାନଙ୍କ ଜୀବନ ବଦଳରେ ଆଉ ଯାହା କିଛି ମାଗି ପାରନ୍ତି । ଏହି କ୍ରମରେ ପ୍ରଥମ ବରରେ ଶ୍ୱଶୁରଙ୍କ ନଷ୍ଟ ଚକ୍ଷୁ ଓ ହୃତ ରାଜ୍ୟ ପୁନଃ ପ୍ରାପ୍ତ, ଦ୍ୱିତୀୟ ବରରେ ନିଜ ପିତାଙ୍କ ପାଇଁ ଏକ ପୁତ୍ର ସନ୍ତାନ ଓ ତୃତୀୟ ବରରେ ନିଜ ଗର୍ଭରୁ ଶତପୁତ୍ର କାମନା କଲେ । ଯମ ତଥାସ୍ତୁ କହି, ଫେରିଯିବାକୁ କହିବାରୁ, ସାବିତ୍ରୀ ସ୍ୱାମୀଙ୍କ ବିନା କିପରି ଶତପୁତ୍ର ପାଇବେ ପଚାରିଲେ, ଅଗତ୍ୟା ନିରୁପାୟ ହୋଇ ସତ୍ୟବାନଙ୍କୁ ପୁନଃ ଜୀବିତ କରାଇ ଆୟୁଦାନ କଲେ ।
ସାବିତ୍ରୀ ବ୍ରତ କଥା -
https://www.odiakatha.tk/2020/05/sabitri%20brata%20odia%20festival%20complete%20information%20%20.html
Post a Comment